୨୪ରୁ ରାଜ୍ୟରେ ବର୍ଷା ସମ୍ଭାବନା – Fast News Network

Odisha Hot News
1 Min Read

ଭୁବନେଶ୍ୱର: ଗତ ୩ ଦିନ ଧରି ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ଓ ଖରାଟିଆ ରହିଥିବା ବେଳେ ଆସନ୍ତା ୨୪ ଓ ୨୫ ତାରିଖ ଦିନ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ଣରେ ଜାରି ସତର୍କ ସୂଚନାରେ କୁହାଯାଇଛି।
ଜାରି ସୂଚନାରେ କୁହାଯାଇଛି ଯେ ୨୪ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ଉତ୍ତର ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହିପରି କେନ୍ଦ୍ରର ସୂଚନା ମୁତାବକ, ୨୬ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଅବଶିଷ୍ଟ ଓଡ଼ିଶାରେ ପାଗ ଶୁଖିଲା ଓ ଖରାଟିଆ ରହିବ। ତେବେ, ରାଜ୍ୟର ଅଧିକାଂଶ ସ୍ଥାନର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକକୁ ଫେରି ଆସି ଥିବାରୁ ରାଜ୍ୟରେ ଆଉ ବିଶେଷ ଶୀତ ଅନୁଭୂତ ହେବ ନାହିଁ।

Share This Article