ଓଟିଡିସିକୁ ହେଲା ୪୪ ବର୍ଷ: ବିଶେଷ ଅବଦାନ ପାଇଁ ଦିଆଗଲା ପୁରସ୍କାର

Odisha Hot News
2 Min Read

ଭୁବନେଶ୍ବର: ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ୪୪ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ପାନ୍ଥନିବାସର କଳିଙ୍ଗ ସମ୍ମିଳନୀ କକ୍ଷରେ ପାଳିତ ହୋଇଛି। ଏହି ଅବସରରେ ଯୋଗଦେଇ ଓଟିଡିସି ଅଧ୍ୟକ୍ଷ ଡଃ ଲେନିନ ମହାନ୍ତି କହିଲେ ଯେ ଓଟିଡିସି ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ସହ ରାଜ୍ୟ ଅର୍ଥନୀତିକୁ ତ୍ୱରାନ୍ୱିତ କରିବାରେ ଅଗ୍ରଣୀ ଭୂମିକା ତୁଲାଇଛି।

ନିଯୁକ୍ତି ସୁଯୋଗ ସୃଷ୍ଟିକରିବା ସହ ରାଜ୍ୟର କଳା, ସଂସ୍କୃତି ଓ ଐତିହ୍ୟକୁ ସଂରକ୍ଷଣ ରଖିବାରେ ସକ୍ଷମ ହୋଇଛି। ପର୍ଯ୍ୟଟନ କ୍ଷେତ୍ରରେ ସମଗ୍ର ଦେଶରେ ଅନ୍ୟରାଜ୍ୟ ପାଇଁ ଓଟିଡିସି ଉଦାହରଣ ସୃଷ୍ଟି କରିଥିବା ନେଇ ଡଃ ମହାନ୍ତି ଉଲ୍ଲେଖ କରିଥିଲେ। ବିଭିନ୍ନ ପର୍ବପର୍ବାଣୀରେ ପିଠା ବିକ୍ରୟ କରି ୧୬ ଲକ୍ଷ ଟଙ୍କା ଲାଭ କରିଥିବା ବେଳେ ମୋଟ ବ୍ୟବସାୟରେ ଓଟିଡିସି ଗତବର୍ଷ ୫ କୋଟି ଟଙ୍କା ଲାଭ କରିଥିବା ସେ ଉଲ୍ଲେଖ କରିଥିଲେ। ନିଗମର ସ୍ୱର୍ଣ୍ଣ ଜୟନ୍ତୀ ପାଳନ ବେଳେ ଏହି ଲାଭାଂଶ ବହୁଗଣିତ ହେବ ବୋଲି ସେ କହିଥିଲେ।

ସେହିଭଳି ପର‌୍ୟ୍ୟଟନ ବିଭାଗ ନିର୍ଦ୍ଦେଶକ ତଥା ଓଟିଡିସି ପରିଚାଳନା ନିର୍ଦ୍ଦେଶକ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ ଯୋଗଦେଇ କହିଲେ ଯେ ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବାରେ ଓଟିଡିସି ଗୁରୁ ଭୂମିକା ଗ୍ରହଣ କରିଛି। ପର୍ଯ୍ୟଟନ ଓ ଭ୍ରମଣ କ୍ଷେତ୍ରରେ ଥିବା ବ୍ୟାପକ ସୁଯୋଗକୁ ଆପଣେଇବାରେ ଏହା ସଫଳହୋଇଛି। କରୋନା ମହାମାରୀ ସମୟରେ କାର୍ଯ୍ୟକରି ଓଡିଟିସି ଏହାର ଦକ୍ଷତା ପ୍ରତିପାଦିତ କରିଥିବା ସେ କହିଥିଲେ। ଓଡିଶା ୱାକ୍ସ, ତାଳଦଣ୍ତା ଓ କଟକରେ ବୋଟ କ୍ଲବ ଖୋଲିବା ସହ ନୂତନ ଖାଦ୍ୟ ପ୍ରସ୍ତୁତିରେ ମଧ୍ୟ ଓଟିଡିସି ଆଗରେ ରହିଥିବା ଶ୍ରୀ ଯାଦବ କହିଥିଲେ।

ଏହି ଅବସରରେ ଓଟିଡିସି ଜେନେରାଲ ମ୍ୟାନେଜର ଡଃ ଲଲାଟେନ୍ଦୁ ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ପର‌୍ୟ୍ୟଟନର ପ୍ରୋତ୍ସାହନ କ୍ଷେତ୍ରରେ ଓଟିଡିସିର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ପୂର୍ବରୁ ଓଟିଡିସି ପରିସରରେ ଚାରାରୋପଣ କରାଯିବା ସହ ଉନ୍ନତିକରଣ ହୋଇଥିବା ୧୨ଟି ଶଯ୍ୟାକୁ ଲୋକାର୍ପିତ କରାଯାଇଥିଲା। ପ୍ରାରମ୍ଭରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ବିୟୋଗରେ ଅମର ଆତ୍ମାର ସଦଗତି କାମନା କରି ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।

ସେହିଭଳି ନିଗମର ଉତ୍କର୍ଷତା କ୍ଷେତ୍ରରେ ପୁରୀ ଓ ଗୋପାଳପୁର ସ୍ଥିତ ପାନ୍ଥନିବାସ, ଭୁବନେଶ୍ୱରସ୍ଥିତ ନିମନ୍ତ୍ରଣ ରେସ୍ତରାଁ ସମେତ ଓଟିଡିସିର ବିଭିନ୍ନ ୟୁନିଟକୁ ସମ୍ବର୍ଦ୍ଧିତ କରାଯାଇଥିଲା। ବରିଷ୍ଠ କର୍ମଚାରୀ ଶ୍ରୀମତୀ ବିଦୁ ନାୟକ, ଶ୍ରୀ କେଦାର ବାରିକଙ୍କ ସମେତ ସମସ୍ତ କର୍ମଚାରୀଙ୍କୁ ପ୍ରତିଷ୍ଠା ଦିବସର ଉପହାର ପ୍ରଦାନ କରାଯାଇଥିଲା। ଏଥିସହ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ସକ୍ରିୟ ଥିବା ଫୁଡ ବ୍ଲଗର ମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା।

ଏହି ଅବସରରେ ଓଡିଶା ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଡଃ ମିନତୀ ବେହେରା,ପର‌୍ୟ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ବାଳମୁକୁନ୍ଦ ଭୂୟାଁ, ଶ୍ରୀ ଅନନ୍ତ ନାରାୟଣସିଂ ଲାଗୁରୀ, ଓଡିଆ ଅଭିନେତ୍ରୀ ଏଲିନା ସାମନ୍ତରାୟ, ବରିଷ୍ଠ ଅଧିକାରୀ, କର୍ମଚାରୀ ଓ ବିଭିନ୍ନ ବ୍ୟକ୍ତି ବିଶେଷ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ କମ୍ପାନୀ ସେକ୍ରେଟାରୀ ଶ୍ରୀ ପ୍ରଶାନ୍ତ କୁମାର ପଣ୍ତା ଧନ୍ୟବାଦ ଅର୍ପଣ କରିଥିବା ବେଳେ ଉପସ୍ଥାପିକା ଶୋଭନା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Share This Article