ଆରମ୍ଭ ହେଲା ବିଧାନସଭା, ଶୋକ ପ୍ରସ୍ତାବ ପରେ ଗୃହ ମୁଲତବି

Odisha Hot News
1 Min Read

ଭୁବନେଶ୍ବର: ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ମହିଳା ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି। ଆଜି ଗୃହ କାର୍ଯ୍ୟ ଆରମ୍ଭ ମାତ୍ରେ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ।

ଏଥିରେ ମୁଖ୍ୟମନ୍ତ୍ରୀ ଦିବଗଂତ ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ର, ପୂର୍ବତନ ବିଧାୟକ ତ୍ରିଲୋଚନ କାନୁନଗୋ, ନିବେଦିତା ପ୍ରଧାନ, କୁମର ବେହେରା ଓ ରମେଶ ସୋରେନ ଏବଂ ଦିବଙ୍ଗତ ପୁଲିସ କର୍ମୀ ଦେବାଶିଷ ବିଶ୍ବାଳ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ସୁଶାନ୍ତ କୁମାର ମହାନ୍ତିଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ।

ଏହି ପ୍ରସ୍ତାବକୁ ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏହାପରେ ଏକ ମିନିଟ ପାଇଁ ଗୃହରେ ନିରବ ପ୍ରାର୍ଥନା କରାଯାଇଥିଲା। ବାଚସ୍ପତି ଦିବଗଂତ ନେତାଙ୍କ ଉଦ୍ଦେଶ୍ୟରେ ଗୃହ କାର୍ଯ୍ୟକୁ ଅପରାହ୍ନ ପାଞ୍ଚଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ।

ଏହା ପୂର୍ବରୁ ଆଜି ବାଚସ୍ପତି ଭାବେ ସର୍ବ ସମ୍ମତିକ୍ରମେ ନିର୍ବାଚିତ ହୋଇଥିବା ବିଧାୟିକା ପ୍ରମିଳା ମଲ୍ଲିକଙ୍କ ନାମ ଗୃହରେ ଉପବାଚସ୍ପତି ଘୋଷଣା କରିଥିଲେ। ଏହାପରେ ସେ ବସିଥିବା ଆସନରୁ ତାଙ୍କୁ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର, ବରିଷ୍ଠ ନେତା ନରସିଂହ ମିଶ୍ର ଏବଂ ବିଜେଡି ବିଧାୟକ ପ୍ରଣବ ପ୍ରକାଶ ଦାସ ବାଚସ୍ପତି ଆସନକୁ ପାଛୋଟି ନେଇଥିଲେ।

ଏହାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଚସ୍ପତିଙ୍କୁ ସ୍ବାଗତ କରିଥିଲେ। ବାଚସ୍ପତି ହେବା ପରେ ତାଙ୍କୁ ବିଧାନସଭା ତରଫରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କିଛି ସମୟ ପରେ ସେ ଗୃହ କାର୍ଯ୍ୟ ପରିଚାଳନା କରିଥିଲେ।

Share This Article