ବିଜେଡ଼ିରେ ଯୋଗଦେଲେ ରେଙ୍ଗାଲି ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ

Odisha Hot News
1 Min Read

ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ରେଙ୍ଗାଲି ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ନେତା ଓ କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ରେଙ୍ଗାଲି ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତାମାନେ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ।ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଉତ୍ପଳା ଧାରୁଆ, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଦ୍ୟୁତ୍‌ପ୍ରଭା ଜୋଷୀ, ପ୍ରେମାନନ୍ଦ ବ୍ରିହେଡ, ଆଶିଷ କୁମାର ପଣ୍ଡା, ସୁରେଶୀନୀ ଓରାମ, ବିରେନ୍ଦ୍ର ରାଉତ, ଓମପ୍ରକାଶ ସା ଓ ଅନିରୁଦ୍ଧ ମାଝୀଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Share This Article